ଆଉ ୧୪ ଜିଲ୍ଲାର ୫୫ଟି ବ୍ଲକରେ ଏସ୍‌ଡିସି

ଭୁବନେଶ୍ୱର: ଜନଜାତି ସଂସ୍କୃତିର ସଂରକ୍ଷଣ ଓ ପ୍ରସାର ପାଇଁ ଆଉ ୧୪ ଜିଲ୍ଲାରେ ୧୪ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦ ସୃଷ୍ଟି ହୋଇଛି । ଏହି ନୂତନ ଜିଲ୍ଲାଗୁଡିକ ହେଉଛି ଅନୁଗୁଳ, ବଲାଙ୍ଗିର, ବାଲେଶ୍ୱର, ବରଗଡ଼, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ନୂଆପଡ଼ା, ନୟାଗଡ଼ ଓ ସମ୍ବଲପୁର । ଏହାଦ୍ୱାରା ଜନଜାତି କଳା, ସଂସ୍କୃତି ଓ ସାହିତ୍ୟର ସଂରକ୍ଷଣ ପାଇଁ ୨୦୧୭-୧୮ରୁ ଗଠିତ ହୋଇଥିବା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ସଂଖ୍ୟା ୯ରୁ ୨୩କୁ ବୃଦ୍ଧି ପାଇଛି ।
ରବିବାର ୟୁନିଟ ଏକ ଆଦିବାସୀ ପଡ଼ିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପୂର୍ବରୁ ୯ଟି ଜିଲ୍ଲାର ୧୧୭ଟି ବ୍ଲକରେ ଏହି ସ୍ୱତନ୍ତ୍ର ଉନ୍ନୟନ ପରିଷଦ କାର୍ଯ୍ୟକାରୀ ହେଉଥିଲା । ଏଥିରେ ୬୪ ଲକ୍ଷ ଲୋକ ସାମିଲ ହୋଇଛନ୍ତି । ଏବେ ୨୩ ଜିଲ୍ଲାର ୧୭୨ଟି ବ୍ଲକରେ ଏହା କାର୍ଯ୍ୟକାରୀ ହେବ । ଏଥିପାଇଁ ୨୦୨୩-୨୪ ଆର୍ôଥକ ବର୍ଷରେ ରାଜ୍ୟ ସରକାର ୨୨୩ କୋଟି ଟଙ୍କା ଖର୍ଚ୍ଚ କରିବେ । ଏହି କାର୍ଯ୍ୟକ୍ରମରେ ୮୦ ଲକ୍ଷରୁ ଅଧିକ ଜନଜାତି ଲୋକ ସାମିଲ ହୋଇ ନିଜ କଳା ଓ ସଂସ୍କୃତିର ବିକାଶ ପାଇଁ କାମ କରିବେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଗନ୍ନାଥ ସଂସ୍କୃତି ସହିତ ଜନଜାତି ସଂସ୍କୃତିର ଗଭୀର ସମ୍ପର୍କ ଅଛି । ଏଥିରେ ପ୍ରକୃତି ଓ ପରିବେଶର ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଛି । ପ୍ରକୃତିର ପୂଜା ଓ ଭାଇଚାରା ଆଦିବାସୀ ସଂସ୍କୃତିର ମୁଖ୍ୟ ଆଧାର । ବିକାଶର ପରିଭାଷାରେ କଳା ଓ ସଂସ୍କୃତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସେମାନଙ୍କ କଳା ଓ ସଂସ୍କୃତିର ସଂରକ୍ଷଣ ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରାଯାଇଛି । ରାଜନୀତି ଠାରୁ ଆରମ୍ଭ କରି ସାହିତ୍ୟ, ସଂସ୍କୃତି, ଭାଷା ସବୁ କ୍ଷେତ୍ରରେ ଜନଜାତି ବର୍ଗର ଲୋକଙ୍କ ଅବଦାନ ରହିଛି । ଓଡ଼ିଶାର ସଂସ୍କୃତିକୁ ସେମାନେ ଗୌରବମୟ କରିଛନ୍ତି । ମୁଁ ସେମାନଙ୍କ ପାଇଁ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ନୂଆ ପରିଷଦ ଗଠନ ଦ୍ୱାରା ସବୁ ଛୋଟ ଛୋଟ ବର୍ଗର ଜନଜାତି ଗୋଷ୍ଠୀ ସେମାନଙ୍କ କଳା ଓ ଐତିହ୍ୟର ସୁରକ୍ଷା ପାଇଁ ମଧ୍ୟ ନିଜର ଗୁରୁତ୍ୱପୁର୍ଣ୍ଣ ଅବଦାନ ରଖି ପାରିବେ । ଜନଜାତି କଳା ଓ ସଂସ୍କୃତି ପ୍ରତି ଲୋକଙ୍କ ଆଗ୍ରହ ରହିଛି । ଭୁବନେଶ୍ୱରର ଜନଜାତି ସଂଗ୍ରହାଳୟ ଏବେ ପର୍ଯ୍ୟଟକମାନଙ୍କ ପାଇଁ ଏକ ଆକର୍ଷଣ ହୋଇଛି । ଜନଜାତି ସଂସ୍କୃତି, ଜୀବନ ପ୍ରତି ସେମାନଙ୍କ ଦୃଷ୍ଟିଭଙ୍ଗୀ, ପ୍ରକୃତିର ସଂରକ୍ଷଣ ଓ ସେମାନଙ୍କ ଚିକିତ୍ସା ପ୍ରଣାଳୀ ସମ୍ପର୍କରେ ଅଧିକ ଗବେଷଣା ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପୋଷଣ କରିଛନ୍ତି । ସୂଚନାଯୋଗ୍ୟ ଯେ ୨୦୧୭ରେ ୯ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରାଯାଇଥିଲା । ଜନଜାତି ବର୍ଗର ଅନନ୍ୟ ସଂସ୍କୃତିର ସୁରକ୍ଷା ଦିଗରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶା ଏକମାତ୍ର ରାଜ୍ୟ ଭାବେ ପଦକ୍ଷେପ ନେଇଥିଲା । ଏଥିରେ ଜନଜାତି ଲୋକଙ୍କ ପବିତ୍ର ବୃକ୍ଷର ସଂରକ୍ଷଣ, ସଂସ୍କୃତି କ୍ଲବ୍ ଗଠନ, ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ଆଦି ଅନେକ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି । ବର୍ତ୍ତମାନ ସୁଦ୍ଧା ଏହି କାର୍ଯ୍ୟକ୍ରମରେ ୬୦ ହଜାରରୁ ଅଧିକ ପ୍ରକଳ୍ପର କର୍ଯ୍ୟାନ୍ୱୟନ ହୋଇସାରିଛି । ୪୫୯୯ ଚିହ୍ନିତ ପବିତ୍ର ବୃକ୍ଷ ମଧ୍ୟରୁ ୪୪୯୬ ବୃକ୍ଷର ସଂରକ୍ଷଣ କରାଯାଇସାରିଛି । ୧୫୯୨ଟି କ୍ଲବ୍ ଗଠନ କରାଯାଇଛି । ୨୧ଟି ଭାଷାରେ ଜନଜାତି ବିଲିଙ୍ଗୁଆଲ ଡିକ୍ସନାରୀ ପ୍ରସ୍ତୁତ କରାଯାଇ ୩୦ ଟି ଜିଲ୍ଲାରେ ବଣ୍ଟନ କରାଯାଇଛି ।
ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା କହିଲେ ଯେ ଆଦିବାସୀ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ପଦକ୍ଷେପ ନେଇଛନ୍ତି । ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଆଦିବାସୀମାନଙ୍କ ପାଇଁ ବିକାଶର ଏକ ନୂଆ ଧାରା ସୃଷ୍ଟି କରିବ । ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ପ୍ରଦୀପ ମାଝୀ କହିଲେ ଯେ ଜନଜାତି ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଭବିଷ୍ୟତ ପିଢ଼ି ପାଇଁ ସ୍ମରଣୀୟ ହୋଇ ରହିବ । ଏହି ପରିଷଦ ସବୁ ଆଦିବାସୀ ଗୋଷ୍ଠୀ ମଧ୍ୟରେ ସମ୍ପର୍କର ସେତୁ ହେବ । ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ସଂପର୍କରେ ଏକ କଫି ଟେବୁଲ ବୁକ ଉନ୍ମୋଚନ କରିଥଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି କେ ପଣ୍ଡିଆନ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।ଅତିଥି ମାନଙ୍କୁ ସ୍ୱାଗତ କରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ରୂପା ରୋସନ୍ ସାହୁ ଆଦିବାସୀ ସଂସ୍କୃତିର ଅନନ୍ୟ ଚିନ୍ତାଧାରାକୁ ପ୍ରୋତ୍ସାହିତ କରିବା ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ୨୦୧୭-୧୮ରୁ ଗଠନ କରାଯାଇଛି ।ଆଦିବାସୀ ମାନଂକ ସଂସ୍କୃତିର ସୁରକ୍ଷା ପାଇଁ ଅନ୍ୟ କୌଣସି ରାଜ୍ୟ ବା ଦେଶରେ ଏଭଳି ପଦକ୍ଷେପର ନଜିର ନାହିଁ ବୋଲି ସେ କହିଥିଲେ । ଏଏଲଟିସିର ସଦସ୍ୟ ସଚିବ ଇନ୍ଦ୍ରମଣି ତ୍ରୀପାଠୀ ଧନ୍ୟବାଦ୍ ଅର୍ପଣ କରିଥଲେ ।

Related Articles

Leave a Reply

Your email address will not be published.

Back to top button