ଆମ ଓଡିଶା ନବୀନ ଓଡିଶା: କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ନବମ ଦିନରେ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।  ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା।

ଏଥିପାଇଁ କଳାହାଣ୍ଡି ଜିଲ୍ଲାର  ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୫୫ କୋଟି  ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଜୁନାଗଡ, ଲାଞ୍ଜିଗଡ, ନର୍‌ଲା, ଧର୍ମଗଡ, ଭବାନିପାଟଣା।  ଏହିସବୁ ନିର୍ବାଚନମଣ୍ଡଳୀର ୧୩ଟି ବ୍ଲକ୍‌‌ର ୩୧୦ଟି  ଗ୍ରାମ ପଞ୍ଚାୟତରେ ୪୬୭୮ଟି ପ୍ରକଳ୍ପ ହେବ। ସେହିପରି ନବରଙ୍ଗପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୪.୫୦ କୋଟି ଟଙ୍କା  ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଡାବୁଗାଁ, ନବରଙ୍ଗପୁର, ଉମରକୋଟ, ଝରିଗାଁ। ଏଥିରେ ୧୦ଟି ବ୍ଲକ୍‌ର ୧୮୯ଟି   ଗ୍ରାମପଞ୍ଚାୟତରେ ୨୯୪୨ଟି ପ୍ରକଳ୍ପ କରାଯିବ।

ଆଜିର କାର୍ଯ୍ୟକ୍ରମ ପାଇଁ କଳାହାଣ୍ଡି ଜିଲ୍ଲାର ୫ଟି ଓ ନବରଙ୍ଗପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମରେ ଗାଁଗୁଡିକ ହେବ ରୂପାନ୍ତରର ପ୍ରକୃତ କେନ୍ଦ୍ର। ଗାଁର ଲୋକମାନେ ହିଁ ନୂଆ ଓଡିଶାର ପରିଚୟ ସୃଷ୍ଟି କରିବେ ବୋଲି ସେ କହିଥିଲେ। ସେ ପୁଣି କହିଲେ ଯେ  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା। ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ। ବିଜ୍ଞାନ ପାର୍କ ହେବ। ଦକ୍ଷତା ବିକାଶ କେନ୍ଦ୍ର ହେବ। Works hub ହେବ। Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ।

ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ।

୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏହା ହେଉଛି ୫ମ ପାଳି। ଏହି ପାଳିରେ ମୁଖ୍ୟମନ୍ତ୍ରୀ ଓଡିଶାରେ ରୂପାନ୍ତରର ଯୁଗ ଆରମ୍ଭ କରିବା ସହିତ ମା’ ମାନଙ୍କୁ ୫ଟି ସୁନ୍ଦର ଉପହାର ଦେଉଛନ୍ତି।

– ୫ ଟଙ୍କାରେ ଆହାର,

– ମମତା ଯୋଜନାରେ ଗର୍ଭବତୀ ମା’ ମାନଙ୍କୁ ୫ ହଜାର ଟଙ୍କା ସହାୟତା,

– ଲକ୍ଷ୍ମୀ ବସ୍‌ ଯୋଜନାରେ ମା’ ମାନଙ୍କୁ ୫ ଟଙ୍କାରେ ପାଇଁ ବସରେ ଯିବାଆସିବାର ସୁବିଧା,

– ମିଶନ ଶକ୍ତିରେ ମା’ ମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ,

– ତା ସହିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବା ବେଳେ ମା’ ମାନଙ୍କ ପାଇଁ ଆଉ ଅଧିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି ବୋଲି ୫-ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ।

ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ କଳାହାଣ୍ଡି ଜିଲ୍ଲାର ଜୁନାଗଡ ନିର୍ବାଚନ ମଣ୍ଡଳୀରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ କଲମପୁର ଓ ଜୁନାଗଡ ବ୍ଲକରେ ହାତୀ ନଦୀର ବାମ ପାର୍ଶ୍ୱ ବନ୍ଧର ସୁଦୃଢିକରଣ ପାଇଁ ୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ସହିତ ଜୁନାଗଡ ମା’ ଲଙ୍କେଶ୍ୱରୀ ମନ୍ଦିରର ସୌନ୍ଦର୍ଯ୍ୟକରଣ, ଗୋଟିଏ କଲେଜ ଓ  ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରୂପାନ୍ତର ସାମିଲ। ଲାଞ୍ଜିଗଡ ନିର୍ବାଚନ ମଣ୍ଡଳୀରେ ୧୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬୦.୨୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ପ୍ରସିଦ୍ଧ ମା’ ମାଣିକେଶ୍ୱରୀ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ପାଇଁ ୧ କୋଟି ୭୪ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି। ନିକଟରେ କଳାହାଣ୍ଡି ଗସ୍ତ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ମା’ ମାଣିକେଶ୍ୱରୀଙ୍କ ନାମରେ  ନାମିତ କରିଛନ୍ତି। ଥୁଆମୂଳ-ରାମପୁର ଜଗନ୍ନାଥ ମନ୍ଦିର, ପିପଳନଳାଠାରେ ପର୍ଯ୍ୟଟନ ବିକାଶ, ରାବଣଧାରା ଜଳପ୍ରପାତ ପର୍ଯ୍ୟଟନ ବିକାଶ ଆଦି ପ୍ରକଳ୍ପ ମଞ୍ଜୁର କରାଯାଇଛି। ଭଟଙ୍ଗପଦର ଓ କାଚଲେଖାଠାରେ ୧୨୦ ଆସନ ବିଶିଷ୍ଟ ୩ଟି ହଷ୍ଟେଲ ନିର୍ମାଣ କରାଯିବ। ଏଥିପାଇଁ ୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଇନ୍ଦ୍ରାବତୀ ଜଲଭଣ୍ଡାର ବିଚ୍ଛିନ୍ନାଞ୍ଚଳର ବିକାଶ ଓ ସୌନ୍ଦର୍ଯ୍ୟକରଣ ପାଇଁ ମଧ୍ୟ ୧.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି।

Related Articles

Leave a Reply

Your email address will not be published.

Back to top button