ମୁଖ୍ୟମନ୍ତ୍ରୀଙ୍କ ୧୯ତମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆଜି ଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୯ତମ ପାଳି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସକାଳେ ଭୁବନେଶ୍ୱର ୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୬ଜଣ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରତିଟି ଅଭିଯୋଗର ସ୍ଥିତି ଉପରେ ନିୟମିତ ନଜର ରଖାଯାଉଛି। ରାଜ୍ୟସ୍ତର ଠାରୁ ଆରମ୍ଭ କରି ଜିଲ୍ଲାସ୍ତର ପର୍ଯ୍ୟନ୍ତ ଅଭିଯୋଗ ଶୁଣାଣି ବ୍ୟବସ୍ଥାର ତଦାରଖ କରାଯାଉଛି। ତେଣୁ, ସମାଧାନର ହାର ବୃଦ୍ଧି ପାଉଛି । ଏହାଦ୍ୱାରା ଏହି ବ୍ୟବସ୍ଥା ଉପରେ ସାଧାରଣ ଲୋକଙ୍କ ଭରସା ବୃଦ୍ଧି ପାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ ଯେ, ପୂର୍ବରୁ ରାଜ୍ୟସ୍ତରରେ ଅନୁଷ୍ଠିତ ୧୮ଟି ପାଳିରେ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିବା ୧୪,୯୪୧ ଅଭିଯୋଗ ମଧ୍ୟରୁ ୧୪,୩୩୧ ଅର୍ଥାତ ୯୬ ପ୍ରତିଶତ ଅଭିଯୋଗର ସଫଳ ସମାଧାନ କରାଯାଇସାରିଛି। ଏଥି ସହିତ ଜିଲ୍ଲାସ୍ତରରେ ଜିଲ୍ଲାପାଳ ଓ ଏସ୍.ପି ମାନେ ନିୟମିତ ଭାବେ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣୁଥିବା ବେଳେ ତହସିଲ ଓ ବ୍ଲକ ସ୍ତରରେ ମଧ୍ୟ ଅଭିଯୋଗ ଶୁଣାଣି ନିୟମିତ ରୂପେ ଚାଲିଛି। ଜିଲ୍ଲାସ୍ତରରେ ଜୁନ୍ ମାସ ଶେଷ ସୁଦ୍ଧା ୨,୫୯,୨୧୩ ଅଭିଯୋଗ ଶୁଣାଣି ହୋଇ ୮୯ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି। ଏହା ଦ୍ୱାରା ସାଧାରଣ ଲୋକମାନେ ସେମାନଙ୍କ ଆପତ୍ତି ଅଭିଯୋଗ ଶୁଣାଣି ପାଇଁ ଆଉ ପୂର୍ବ ଭଳି ବିଶେଷ ହଇରାଣ ହରକତ ହେଉନାହାନ୍ତି। ପ୍ରଶାସନିକ ବ୍ୟବସ୍ଥାରେ ଏହି ପରିବର୍ତ୍ତନ ସାଧାରଣ ଲୋକଙ୍କ ଭିତରେ ଏକ ବଡ ପ୍ରଭାବ ପକାଇଛି ଓ ସରକାରଙ୍କ ଉପରେ ସାଧାରଣ ଲୋକଙ୍କ ଆସ୍ଥା ବୃଦ୍ଧି ପାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button