ମିସନ ଶକ୍ତି କେବଳ ସ୍ଲୋଗାନ ନୁହେଁ, ଏହା ଜୀବନଧାରା ପାଲଟିଛି: ମୁଖ୍ୟମନ୍ତ୍ରୀ

ଯାଜପୁର: ରାଜ୍ୟର ପ୍ରଥମ ମହିଳା ମିସନ ଶକ୍ତି ଭବନ ଯାଜପୁରରେ ଲୋକାର୍ପିତ ହୋଇଛି। ମିସନ ଶକ୍ତି କମିସନର-ତଥା-ଶାସନ ସଚିବ ସୁଜାତା କାର୍ତ୍ତିକେୟନ୍ ଓ ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଉପସ୍ଥିତିରେ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଋଣ ସୁଧ ଫେରସ୍ତ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏସଏଚଜିଙ୍କୁ ଋଣର ସୁଧ ଫେରସ୍ତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମିସନ ଶକ୍ତି କେବଳ ସ୍ଲୋଗାନ ନୁହେଁ, ବରଂ ଏହା ଜୀବନଧାରା ପାଲଟିଛି । ମୁଁ ମା’ମାନଙ୍କୁ ଉଦ୍ୟାେଗୀ ଭାବେ ଦେଖିବାକୁ ଚାହେଁ । ଓଡ଼ିଶାର ରୂପାନ୍ତରଣରେ ସେମାନଙ୍କର ଅଛି ବଡ଼ ଭୂମିକା ରହିଛି।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ଆଜି କେବଳ ଏକ ସ୍ଲୋଗାନ ନୁହେଁ, ଆଜି ଏହା ମା ମାନଙ୍କର ଏକ ଜୀବନଧାରା । ୭୦ ଲକ୍ଷ ମା ମାନଙ୍କର ଏହି ବିରାଟ ଅନୁଷ୍ଠାନ ଆଜି ଓଡିଶା ବିକାଶର ନୂଆ ଇତିହାସ ଲେଖୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମିଶନ ଶକ୍ତି ଗ୍ରୁପ ଗୁଡିକୁ ଶକ୍ତିଶାଳି କରିବା ପାଇଁ ବିଭିନ୍ନ ଘୋଷଣା ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ଜିଲ୍ଲାସ୍ତରୀୟ ଫେଡେରେସନକୁ ଏକ କୋଟି ଟଙ୍କା ଓ ବ୍ଲକ୍ ଫେଡେରେସନକୁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ ଆଦି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ‘ମା ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ମୁଁ ଚାହେଁ’। ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କାର ଋଣ ଓ ୧୨୦୦ କୋଟି ଟଙ୍କାର ସୁଧ ରିହାତି ବ୍ୟବସ୍ଥା ହୋଇଛି ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯାଜପୁରର ଜିଲ୍ଲାସ୍ତରୀୟ ଫେଡେରେସନ ଭବନକୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ କରିଥିଲେ । ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଏହି ସାମାଜିକ ଓ ଆର୍ଥିକ ସଶକ୍ତିକରଣ କାର୍ଯ୍ୟକ୍ରମ ଆଜି ଏକ ବୈପ୍ଲବିକ ଆନ୍ଦୋଳନରେ ପରିଣତ ହୋଇଛି । ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ପାଇବାର ଯେଉଁ ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ କରିଛନ୍ତି, ତାହା ମା ମାନଙ୍କ ପାଇଁ ବହୁତ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ସେ କହିଥିଲେ । କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇ ମିଶନ ଶକ୍ତି ବିଭାଗ କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟନ କହିଲେ ଯେ ଆଗରୁ ସୁଧ ରିହାତି ପାଇବା ପାଇଁ ମା ମାନେ ବ୍ୟାଙ୍କକୁ ବାରମ୍ବାର ଯାଉଥିଲେ। ଏବେ ସେ ଅବସ୍ଥା ଆଉ ନାହିଁ। ୫-ଟିରେ ଟେକ୍ଲୋଲୋଜିରେ ବ୍ୟବସ୍ଥା କରାଯାଇ ଖୁବଶୀଘ୍ର ସୁଧ ରିହାତି ହିସାବ କରି ମା ମାନଙ୍କ ଆକାଉଣ୍ଟକୁ ସିଧାସଳଖ ପଠାଇ ଦିଆଯାଉଛି। ମା ମାନଙ୍କ ପାଇଁ ଯେଉଁ ରିଭଲଭିଂ ଫଣ୍ଡ କରାଯାଇଛି, ତାହା ଏକ ମିନି ବ୍ୟାଙ୍କରେ ପରିଣତ ହେବ ଏବଂ ମା ମାନେ କେବଳ ପାରମ୍ପରିକ ବ୍ୟବସାୟ ନୁହେଁ, ବିଭିନ୍ନ ଆଧୁନିକ ବ୍ୟାବସାୟ ଯଥା – ଫେଶନ ଡିଜାଇନ, କୃଷି ଉଦ୍ୟୋଗ, ବିଉଟି ଓ ୱେଲନେସ୍ ଆଦି ବ୍ୟବସାୟ ଯେପରି କରିପାରିବେ, ସେଥିପାଇଁ ମଧ୍ୟ ବ୍ୟବସ୍ଥା କରାଯାଉଛି। ମା ମାନେ ଏବେ ବ୍ୟବସାୟ କରି ନିଜର ପରିଚୟ ନେଇ ଆଗକୁ ବଢିବେ ବୋଲି ସେ କହିଥିଲେ । ଓଡିଶା ଜୀବିକା ମିଶନର ସିଇଓ ମାନସୀ ନିମ୍ଭାଲ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗର ଉପଦେଷ୍ଟା ଶ୍ରୀମତୀ ଲୋପାମୁଦ୍ରା ବକ୍ସିପାତ୍ର, ଡଃ ଗୀତା ବସ୍ତିଆ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ ।