୨୫୪ କୋଟିର ୫ ଗ୍ରୀଡ୍ ସବ୍‌ଷ୍ଟେସନ ଲୋକାର୍ପିତ

ଭୁବନେଶ୍ୱର: ରାଜ୍ୟର ୪ଟି ଜିଲ୍ଲାରେ ୫ଟି ଉଚ୍ଚକ୍ଷମତା ସମ୍ପନ୍ନ ଗ୍ରୀଡ ସବ୍‌ଷ୍ଟେସନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଉଦ୍‌ଘାଟନ କରିଛନ୍ତି । ଏଥିପାଇଁ ୨୫୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଏହି ସ୍ଥାନଗୁଡ଼ିକ ହେଲା ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ, ମାଲକାନଗିରିର କାଲିମେଳା, ସୁବର୍ଣ୍ଣପୁରର ବୀରମହାରାଜପୁର ଓ କଟକ ଜିଲ୍ଲାର ଗୋଡ଼ିସାହି ଓ ବହୁଗ୍ରାମ । ଏହାଦ୍ୱାରା ଏହି ୪ଟି ଜିଲ୍ଲାର ୨ ଲକ୍ଷ ଲୋକ ଉପକାର ପାଇବେ । ସୋମବାର ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଉଦ୍‌ଘାଟନ କରି ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୃଷି, ଶିଳ୍ପ ଓ ସାଧାରଣ ଜୀବନଯାପନ ସବୁ କ୍ଷେତ୍ରରେ ଉତ୍ତମ ଓ ନିରବଚ୍ଛିନ୍ନ ବିଦ୍ୟୁତର ଆବଶ୍ୟକତା ରହିଛି । ବିଜୁଳି ଶକ୍ତି ଆମ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ।ଜନସାଧାରଣଙ୍କ ଜୀବନଧାରଣ ମାନରେ ଉନ୍ନତି ପାଇଁ ଉତ୍ତମ ବିଦ୍ୟୁତ୍‌ଶକ୍ତିର ଆବଶ୍ୟକତା ରହିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ ବିଦ୍ୟୁତ୍ ସଂପ୍ରସାରଣ ଓ ଆବଣ୍ଟନ ଭିତ୍ତିଭୂମିର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ଦେଉଛନ୍ତି । ତେଣୁ ବିୁଦ୍ୟୁତ୍ ଖର୍ଚ୍ଚକୁ ଅଯଥାରେ ବୃଦ୍ଧି କରାନଯାଉ ବୋଲି ଶ୍ରୀ ପଟ୍ଟନାୟକ ନିବେଦନ କରିଛନ୍ତି । ରାଜ୍ୟରେ ବିଦ୍ୟୁତ୍ ସଂପ୍ରସାରଣ କ୍ଷେତ୍ରରେ ଏକ ଦୃଢ଼ ଭିତ୍ତିଭୂମିର ବିକାଶ କରାଯାଇଛି । ବର୍ତ୍ତମାନ ରାଜ୍ୟରେ ୧୮୫ଟି ଏକ୍ସଟ୍ରା ହାଏ ଭୋଲଟେଜ୍ ଗ୍ରୀଡ ସବ୍ ଷ୍ଟେସନ ଥିବାବେଳେ ୧୬,୦୦୦ ସର୍କିଟ କିଲୋମିଟର ନେଟୱାର୍କ ରହିଛି ।


କାର୍ଯ୍ୟକ୍ରମରେ ଯୋଗ ଦେଇ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ୍ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଓଡ଼ିଶା ବିଦ୍ୟୁତ୍ ଶକ୍ତିରେ ଏକ ବଳକା ରାଜ୍ୟ ହୋଇପାରିଛି । ଓଡ଼ିିଶାର ଶକ୍ତି ବିତରଣ ବ୍ୟବସ୍ଥାକୁ ସୁଦୃଢ଼ କରି ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତିର ପ୍ରସାର ହୋଇଛି ବୋଲି ସେ ମତ ଦେଇଥିଲେ । ଓଡ଼ିିଶା କୋଲ୍ ଆଣ୍ଡ୍ ପାୱାର୍ ଲିମିଟେଡ୍ ପକ୍ଷରୁ ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୨୦ କୋଟି ଟଙ୍କା ପ୍ରଦାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଭାଗୀୟ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କୁ ଏହି ପରିମାଣର ଚେକ୍ ପ୍ରଦାନ କରାଯାଇଥିଲା । ଅତି ଅଳ୍ପ ସମୟ ମଧ୍ୟରେ ରାଜ୍ୟ ସରକାରଙ୍କ ଏହି ସଂସ୍ଥା ଲାଭ କରିପାରିଥିବାରୁ ମୁଖ୍ୟମନ୍ତ୍ରୀ ଏହାର ଉଚ୍ଚପ୍ରଶଂସା କରିଥିଲେ । ସେ କହିଥିଲେ, ୨୦୨୨-୨୩ର ପ୍ରଥମ ୬ ମାସ ମଧ୍ୟରେ ଓପିସିଏଲ୍ ୬୨୬ କୋଟି ଟଙ୍କା ଲାଭ କରିଛି ଏବଂ କୋଇଲା ଉତ୍ପାଦନରେ ୬୦ ପ୍ରତିଶତ ବୃଦ୍ଧି ହାସଲ କରିଛି । କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ, ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଓ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ପ୍ରମୁଖ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇ ରାଜ୍ୟରେ ବିଦ୍ୟୁତ୍ ଶକ୍ତିର ବିକାଶ ଓ ଶିଳ୍ପାୟନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ପାଇଁ ଧନ୍ୟବାଦ ଦେଇଥିଲେ । ୫-ଟି ସଚିବ ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସକ ସଚିବ ନିକୁଞ୍ଜ ବିହାରୀ ଧଳ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଓପିଓିସିଏଲ୍ ଅଧ୍ୟକ୍ଷ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ଶକ୍ତି ବିଭାଗର ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ ।

Related Articles

Leave a Reply

Your email address will not be published.

Back to top button