୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ୍‌ ସହାୟତା ଘୋଷଣା

ଭୁବନେଶ୍ବର: କୋଭିଡ୍‌ ଦ୍ବିତୀୟ ଲହରୀ ସମୟରେ ସ୍ବତନ୍ତ୍ର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ଗୁରୁବାର ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ଏହାଦ୍ବାରା ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ସହରାଞ୍ଚଳ ଗରିବ, ଆଦିମ ଜନଜାତି, ଖାଦ୍ୟ ସୁରକ୍ଷା ହିତାଧିକାରୀ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ। ଏହି ପ୍ୟାକେଜ ଅନୁଯାୟୀ କାଳିଆ ଯୋଜନାର ହିତାଧିକାରୀ ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଛା ୧୦୦୦ ଟଙ୍କା ସ୍ବତନ୍ତ୍ର ସହାୟତା ଦିଆଯିବ। କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସେହିପରି କୋଭିଡ ଲକ୍‌ଡାଉନ ସମୟରେ ସହରାଞ୍ଚଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ ରାଜ୍ୟ ସରକାର ମୁକ୍ତା ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନାରେ ରାଜ୍ୟର ୧୧୪ଟି ପୌରସଂସ୍ଥାରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ରୋଜଗାର ଯୋଗାଇବା ପାଇଁ ୨୬୦ କୋଟି ଟଙ୍କାର କାମ ଯୋଗାଇ ଦିଆଯିବ। ରାଜ୍ୟରେ ପଞ୍ଜୀକୃତ ନିର୍ମାଣ ଶ୍ରମିକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୧୫୦୦ ଟଙ୍କା ଲେଖାଏଁ ସ୍ବତନ୍ତ୍ର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ଏ ବାବଦରେ ୩୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଓଡ଼ିଶାରେ ୧୩ଟି ଆଦିମ ଜନଜାତିର ୬୬,୨୧୪ ଜଣ ବ୍ୟକ୍ତି ବାସ କରୁଛନ୍ତି। କୋଭିଡ୍ ପରିପ୍ରେକ୍ଷୀରେ ସେମାନଙ୍କୁ ଜୀବନଜୀବିକା ସହାୟତା ବାବଦରେ ପ୍ରତି ପରିବାରକୁ ୫୦୦୦ ଟଙ୍କା ଲେଖାଏଁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସହାୟତା ଟଙ୍କା ସେମାନଙ୍କର ବ୍ୟାଙ୍କ୍‌ ଆକାଉଣ୍ଟ୍‌ରେ ସିଧାସଳଖ ଜମା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ୍‌ ମହାମାରୀ ଦ୍ୱାରା ସମାଜର ସବୁ ବର୍ଗର ଲୋକଙ୍କର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି। କିନ୍ତୁ ସାମାଜିକ ତଥା ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀର ଲୋକମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। କୋଭିଡ୍‌ ମହାମାରୀର ପ୍ରଥମ ଲହର ସମୟରେ ଗତବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ବିଭିନ୍ନ ସହାୟତା ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ କୋଭିଡ୍‌ ମହାମାରୀର ପ୍ରତିକୂଳ ପ୍ରଭାବରୁ ବହୁ ପରିମାଣରେ ଆଶ୍ୱସ୍ତି ଦେଇଥିଲା। କୋଭିଡ୍‌ର ଦ୍ୱିତୀୟ ଲହରୀ ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପର୍ଯ୍ୟାୟକ୍ରମେ ଗତ ୨ ମାସ ହେଲା ଲକ୍‌ଡାଉନ୍‌ ଜାରି ରହିଛି। ଗରିବ ତଥା ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଆର୍ଥିକ ସ୍ଥିତିକୁ ମଧ୍ୟ ଦୁର୍ବଳ କରିଛି। ଏହାକୁ ବିଚାର କରି ସେମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସହାୟତା ପ୍ୟାକେଜ୍‌ ଘୋଷଣା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

Related Articles

Leave a Reply

Your email address will not be published.

Back to top button