‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରଠାରେ ଆନୁଷ୍ଠାନିକ ଭାବେ ଐତିହାସିକ ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ପ୍ରାୟ ୧୧୦୦ରୁ ଅଧିକ ଭକ୍ତଙ୍କୁ ନେଇ ଗୁଜରାଟର ପବିତ୍ର ପ୍ରଭାସ ପାଟଣସ୍ଥିତ ପ୍ରଭୁ ସୋମନାଥଙ୍କ ଧାମ ଅଭିମୁଖେ ଯାତ୍ରା କରିବାକୁ ଥିବା ଏହି ସ୍ୱତନ୍ତ୍ର ଟ୍ରେନକୁ ମୁଖ୍ୟମନ୍ତ୍ରୀ ସବୁଜ ପତାକା ଦେଖାଇ ତୀର୍ଥଯାତ୍ରାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହା କେବଳ ଏକ ରେଳ ଯାତ୍ରା ନୁହେଁ, ବରଂ ଆମର ଆସ୍ଥା, ଭକ୍ତି ଏବଂ ସାଂସ୍କୃତିକ ସ୍ୱାଭିମାନର ଏକ ମହାଯାତ୍ରା। ପୂର୍ବରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ପଶ୍ଚିମରେ ପ୍ରଭୁ ସୋମନାଥ – ଏହି ଦୁଇ ଦିବ୍ୟ ଶକ୍ତି ସମଗ୍ର ଭାରତବର୍ଷକୁ ଏକତା, ଆଧ୍ୟାତ୍ମିକତା ଓ ଅବିନାଶୀ ଚେତନାର ସୂତ୍ରରେ ବାନ୍ଧି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ତୀର୍ଥଯାତ୍ରା ସାରା ଦେଶରେ ଆୟୋଜିତ ହେଉଥିବା ମହାନ ରାଷ୍ଟ୍ରୀୟ ସଂକଳ୍ପ ‘ସୋମନାଥ ସ୍ୱାଭିମାନ ପର୍ବ’ର ଏକ ଗୌରବମୟ ଅଂଶ ଅଟେ, ଯାହା ଭାରତୀୟ ଇତିହାସର ଦୁଇଟି ପ୍ରମୁଖ ମାଇଲଖୁଣ୍ଟକୁ ସ୍ମରଣ କରାଉଛି।



