ଦୁଇ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି: ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ଛାତ୍ର କଂଗ୍ରେସ

ଭୁବନେଶ୍ବର: ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବିପର୍ଯ୍ୟୟ ଅଭିଯୋଗ ଆଣି ସରକାରଙ୍କ ବିରୋଧରେ ଆଭିମୁଖ୍ୟ କଡ଼ା କରିଛି ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଇସ୍ତଫା ଦାବିରେ ଚାଲିଥିବା ଦୁଇଦିନିଆ ଅହୋରାତ୍ର ଧାରଣାର ଦ୍ୱିତୀୟ ଦିନରେ ନେତା ଓ କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିଛନ୍ତି। ଏହି ସମୟରେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ବେଳେ କେତେକ ଛାତ୍ର କଂଗ୍ରେସ ନେତାଙ୍କୁ ପୋଲିସ ଅଟକ ରଖିଛି। ଗତକାଲିଠାରୁ ଭୁବନେଶ୍ୱରସ୍ଥିତ ଲୋୟର ପିଏମ୍‌ଜିରେ ଛାତ୍ର କଂଗ୍ରେସ ପକ୍ଷରୁ ଏହି ବିକ୍ଷୋଭ ପ୍ରଦର୍ଶନ ଜାରି ରହିଥିଲା। ପାଠ୍ୟପୁସ୍ତକରେ ବାରମ୍ବାର ଗୁରୁତର ତ୍ରୁଟି, କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ରହିବା ଏବଂ ଉଚ୍ଚ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଅଭାବ ଭଳି ଜଟିଳ ସମସ୍ୟାକୁ ନେଇ ଦଳ ଏହି ସଂଗ୍ରାମ ଜାରି ରଖିଛି। ତୁରନ୍ତ ଏହି ସମସ୍ୟାର ସମାଧାନ ନହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ବ୍ୟାପକ କରାଯିବ ବୋଲି ଛାତ୍ର କଂଗ୍ରେସ ଚେତାବନୀ ଦେଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button