ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ

ଭୁବନେଶ୍ବର : ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ। ୫-ଟି ସଚିବ ଭି କେ ପାଣ୍ଡିଆନଙ୍କ ଗସ୍ତର ଚବିଶ ଘଣ୍ଟା ମଧ୍ୟରେ ମଞ୍ଜୁର ହୋଇଛି ବାଇଶ କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଗତ ସତେଇଶ ଓ ଅଠେଇଶ ତାରିଖ ଦୁଇ ଦିନ ଧରି ୫-ଟି ସଚିବ ଶ୍ରୀ ପାଣ୍ଡିଆନ୍ କେନ୍ଦ୍ରାପଡା ଗସ୍ତ କରିଥିଲେ। ଗସ୍ତର ଦ୍ଵିତୀୟ ଦିନରେ ୨୮ ତାରିଖ ଦିନ ସେ ସାତଭାୟା ବଗପାଟିଆ ଅଞ୍ଚଳ ପରିଦର୍ଶନ କରିଥିଲେ। ଏହି ସମୟରେ ଶ୍ରୀ ପାଣ୍ଡିଆନ୍ ବିସ୍ଥାପିତ ଲୋକମାନଙ୍କୁ ଭେଟିଥିଲେ। ସେମାନଙ୍କ ସମସ୍ୟା ବୁଝିଥିଲେ। ସରକାରଙ୍କ ଯୋଜନା ବିଷୟରେ ଲୋକଙ୍କ ସହ ଆଲୋଚନା କରିଥିଲେ ଏବଂ ସେମାନଙ୍କ ମତାମତ ପଚାରି ବୁଝିଥିଲେ। ପରେ ଭୁବନେଶ୍ବର ଫେରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସ୍ଥାନୀୟ ଲୋକଙ୍କ ଆବଶ୍ୟକତା ସମ୍ପର୍କରେ ଅବଗତ କରିଥିଲେ। ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ସାତଭାୟା ବଗପାଟିଆ ଆଦର୍ଶ କଲୋନୀ ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ତୁରନ୍ତ ବାଇଶ କୋଟି ପଚାଶ ଲକ୍ଷ ଏକସ୍ତରି ହଜାର ଟଙ୍କାର ପ୍ୟାକେଜ ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ସେ ଅଞ୍ଚଳରେ ବନ୍ଧ ବାଡର ସୁଦୃଢୀକରଣ ସହିତ ହିତାଧିକାରୀଙ୍କ ବାସଗୃହ, ଜୀବିକା କାର୍ଯ୍ୟକ୍ରମ, ରାସ୍ତା, ପିଇବା ପାଣି, ବିଜୁଳି ଓ ପଞ୍ଚାୟତ ଗୃହ ଆଦି ଭିତ୍ତିଭୂମିର ବିକାଶ କରାଯିବ। ଏହା ସହିତ ଲୋକଙ୍କ ଆବଶ୍ୟକତା ଭିତ୍ତିରେ ସେମାନଙ୍କୁ ଚାଷ ଜମି ମଧ୍ୟ ଯୋଗାଇଦିଆଯିବ। ସେହିପରି ପ୍ରସିଦ୍ଧ ପଞ୍ଚୁବରାହୀ ପୀଠରେ ଭିତ୍ତିଭୂମିର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ସହ ଆଲୋକ ଏବଂ ଶବ୍ଦର ବ୍ୟବସ୍ଥା କରାଯାଇ ଏହାକୁ ଏକ ପ୍ରମୁଖ ପର୍ଯ୍ୟଟକ ସ୍ଥାନ ଭବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପର୍ଯ୍ୟଟନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସମସ୍ତ କାମ ୫-ଟି ଉପକ୍ରମରେ ତୁରନ୍ତ ହାତକୁ ନେଇ ନିର୍ଦିଷ୍ଟ ସମୟ ସୀମା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସୂଚନଯୋଗ୍ୟ ଯେ ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ସାତଭାୟା ଅଞ୍ଚଳ ସମୁଦ୍ରରେ ଲୀନ ହୋଇଯାଇଥିବାରୁ କ୍ଷତିଗ୍ରସ୍ତ ଲୋକଙ୍କୁ ବଗପାଟିଆରେ ଥଇଥାନ କରାଯାଉଛି। ଜଳବାୟୁ ପରିବର୍ତ୍ତନ ଦ୍ଵାର ପ୍ରଭାବିତ ଲୋକଙ୍କ ଥଇଥାନ ପାଇଁ ଏହା ଦେଶର ପ୍ରଥମ କଲୋନୀ।

Related Articles

Leave a Reply

Your email address will not be published.

Back to top button