ଦେଶରେ ୨୪ ଘଣ୍ଟାରେ ୯,୬୨୯ କୋଭିଡ୍‌ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୯,୦୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୨,୦୦୦ ତଳକୁ ଖସି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୬୨୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯,୬୨୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪.୪୯ କୋଟିରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୨୯ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୩୯୮କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୩,୨୩,୦୪୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୮% ରହିଛି। ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୩.୫୨% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୫.୪୨% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୧,୦୧୩କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୪%। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୫୦,୦୮୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୭୯,୦୩୧ଟି ନମୁନା।

Related Articles

Leave a Reply

Your email address will not be published.

Back to top button