ଆଜିଠୁ ଦୁଇଦିନ କାଳବୈଶାଖୀ
ଭୁବନେଶ୍ୱର : ରବିବାର ରାଜ୍ୟର ୧୪ ଜିଲ୍ଲାରେ କାଳବୈଶାଖୀ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ଦୁଇ-ତିନିଦିନ ଧରି ରାଜ୍ୟରେ ଝଡ଼ବର୍ଷା ଲାଗିରହିବ। ଏହା ପରେ ରାଜ୍ୟର କେତେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ। ଆଜି ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ଅନୁଗୋଳ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଉପରୋକ୍ତ ଜିଲ୍ଲାଗୁଡ଼ିକରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ସହ ବିଜୁଳି ଏବଂ ଘଡ଼ଘଡ଼ିର ସମ୍ଭାବନା ରହିଥିବା କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ୧୦ ତାରିଖ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ଗଜପତି, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ ଓ କୋରାପୁଟ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।